ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ ।

ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ୱଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି ।

ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ସେପଟେ ସୋମବାର ସନ୍ଧ୍ୟାରେ ରାଷ୍ଟ୍ରୀୟ ସମ୍ମାନ ସହ ସ୍ଵର୍ଗତ କରଙ୍କ ଶେଷକୃତ୍ୟ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।