୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ସମ୍ପୂର୍ଣ୍ଣ ଓଡ଼ିଶାରେ ସକ୍ରିୟ ହୋଇଛି ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ । ଏହା ସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ଆଡେ ମୁହାଁଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାସହିତ ମାଲକାନଗିରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଆସନ୍ତା ୧୫ ତାରିଖରେ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରେ ୬ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ଏବଂ ବେଳେବେଳେ ପବନର ବେଗ ୬୦ କିଲୋମିଟର ଛୁଇଁପାରେ । ଉପକୂଳ ଓଡ଼ିଶାରେ ପବନର ବେଗ ଅଧିକ ରହିବା ସହ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି