ଓବିସି ଓ ପଛୁଆବର୍ଗଙ୍କୁ କେବେ ସଂରକ୍ଷଣ ଦେବେ ରାଜ୍ୟସରକାର? : ବିଜେପି

ରାଜ୍ୟରେ ଅନ୍ୟାନ୍ୟ ପଛୁଆ ବର୍ଗ ଓ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ସ୍ଥାନ ସଂରକ୍ଷଣ ଦେବା ପ୍ରସଙ୍ଗ

ଭୁବନେଶ୍ୱର : ରାଜ୍ୟ ସରକାର ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣ କରିବାକୁ କ୍ୟାବିନେଟରେ ସଂକଳ୍ପ ପାରିତ କରିଛନ୍ତି । ମାତ୍ର ସାମ୍ବିଧାନିକ ବ୍ୟବସ୍ଥା ସତ୍ୱେ ରାଜ୍ୟ ସରକାର ଓବିସି ବର୍ଗ ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ପଦକ୍ଷେପ କାହିଁକି ନେଉନାହାନ୍ତି ବୋଲି ବିଜେପି ରାଜ୍ୟ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି ।
ମୋଦି ସରକାର ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା କରିବା ପାଇଁ ଆଇନ ପ୍ରଣୟନ କରିଥିଲେ ମଧ୍ୟ ରାଜ୍ୟସରକାର ଏପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ କରିନାହାନ୍ତି । ତେବେ ଦେଖିବାକୁ ଗଲେ ଓଡିଶାର ସମସ୍ତ ସରକାରୀ ସ୍କୁଲରେ ଅଧିକାଂଶ ଓବିସି ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ପରିବାରର ପିଲାମାନେ ମାନେ ହିଁ ପାଠ ପଢୁଛନ୍ତି । ଏହି ସମ୍ବନ୍ଧରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୦ ମସିହା ଜାନୁଆରୀ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ରାଜ୍ୟରେ ଏହି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ କରିଥିଲେ । ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ବିଧାନସଭାରେ ବିଶେଷ ଅଧିବେଶନ ଡାକି ବିଲ୍ ପାସ କରି ଉପରୋକ୍ତ ଦୁଇଟି ବର୍ଗରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଡ. ସାମନ୍ତସିଂହାର ଦାବି କରିଛନ୍ତି ।
ସମ୍ବିଧାନର ଧାରା ୧୫(୪) ଓ ୧୬(୪) ବଳରେ କେନ୍ଦ୍ର ସରକାର ଓବିସି ବର୍ଗଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଦେଇଛନ୍ତି । ଏହାକୁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ମଧ୍ୟ ବୈଧ ଘୋଷଣା କରିଛନ୍ତି । ମାତ୍ର ଦେଶରେ ଦୀର୍ଘ ୩୦ ବର୍ଷ ଧରି ଏହା ଲାଗୁ ହେଲା ପରେ ମଧ୍ୟ ଓଡିଶା ସରକାର ଓବିସିଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଓ ଏସଇବିସିଙ୍କୁ ଶିକ୍ଷା କ୍ଷେତ୍ରରେ କ’ଣ ପାଇଁ ସଂରକ୍ଷଣ ଦେଉନାହାନ୍ତି ? ଦେଶର ସବୁ ରାଜ୍ୟ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅନ୍ୟୁନ ୨୭ ପ୍ରତିଶତ ସଂରକ୍ଷଣ ଲାଗୁ କରିଥିବା ବେଳେ କର୍ଣ୍ଣାଟକ, ତାମିଲନାଡୁ, କେରଳ ଓ ବିହାର ଆଦି ରାଜ୍ୟ ସେସବୁ ରାଜ୍ୟ ଗୁଡିକରେ ଏହି ଜାତି ଗୁଡିକର ଜନସଂଖ୍ୟାରେ ଅଧିକ ଭାଗ କାରଣରୁ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି । ତାମିଲନାଡୁ ଭଳି ରାଜ୍ୟରେ ୫୯ ପ୍ରତିଶତ ସ୍ଥାନ ସଂରକ୍ଷିତ ଥିବା ବେଳେ ଏଥିରୁ ୫୦ପ୍ରତିଶତ
ପଛୁଆ ଜାତିଙ୍କ ପାଇଁ ସଂରକ୍ଷିତ ରହିଛି । ମାତ୍ର ଓଡିଶା ଜନସଂଖ୍ୟାରେ ଓବିସି ଓ ଏସଇବିସି ସଂଖ୍ୟା ଯଥେଷ୍ଟ ଅଧିକ ଥିବାବେଳେ ଜନସଂଖ୍ୟା
ଅନୁସାରେ ସେମାନେ ସଂରକ୍ଷଣ ସୁବିଧାରୁ କାହିଁକି ବଂଚିତ ରହିଛନ୍ତି ବୋଲି ଡ.ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି ।
ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଅଧିକ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ପ୍ରତିବନ୍ଧକ ନାହିଁ । ଇନ୍ଦ୍ରା ସ୍ୱହନୀ ଓ ଭାରତ ସରକାରଙ୍କ କେସ୍ ମାମଲାରେ ମାନ୍ୟବର ସୁପ୍ରିମକୋର୍ଟ ବିଶେଷ ପରିସ୍ଥିତିରେ ସ୍ଥାନ ସଂରକ୍ଷଣ ନିଦ୍ଦିଷ୍ଟ ସୀମା ଠାରୁ ଅଧିକ ହୋଇପାରିବ ବୋଲି ରାୟ ପ୍ରକାଶ କରିଥିଲେ । ମହାରାଷ୍ଟ୍ରରେ ବିଜେପି ସରକାର ଥିବା ବେଳେ, ମରଠା କମ୍ୟୁନିଟି ପାଇଁ ୧୬ ପ୍ରତିଶତ ନିଯୁକ୍ତି ଓ ଶିକ୍ଷାରେ ବ୍ୟବସ୍ଥା କରିବା ପରେ ମହାରାଷ୍ଟ୍ରର ସ୍ଥାନ ସଂରକ୍ଷଣ ୬୩ ପ୍ରତିଶତକୁ ବୃଦ୍ଧି ପାଇଥିଲା ଓ ଏହା ମାନ୍ୟବର ବମ୍ବେ ହାଇକୋର୍ଟ ରାଜ୍ୟ ସରକାରଙ୍କର ସୀମା ଉପରେ ବିଶେଷ କାରଣ ଯୋଗୁଁ ସଂରକ୍ଷଣ ବଢାଇବାର ଅଧିକାରକୁ ସମ୍ମତି ପ୍ରଦାନ କରିଥିଲେ । ରାଜ୍ୟରେ ୧୯୯୩ ମସିହା ଠାରୁ ଓଡିଶା ଷ୍ଟେଟ୍‌ କମିଶନ ଫର୍ ବ୍ୟାକୁଆର୍ଡ କ୍ଲାସେସ୍ ଆକ୍ଟ ପାସ୍ ହୋଇଥିବା ପରେ ମଧ୍ୟ ଏହା କାର୍ଯ୍ୟକାରୀ ହୋଇନାହିଁ । ତୁରନ୍ତ ଏହି ବ୍ୟାକୁଆର୍ଡ କ୍ଲାସ୍ କମିଶନ ଗଠନ କରି ବୈଜ୍ଞାନିକ ଓ ତଥ୍ୟ ସମ୍ବଳିତ ରିପୋର୍ଟ ଆଧାରରେ ଜନସଂଖ୍ୟ।।ରେ ଭାଗ ଅନୁସାରେ ଅଧିକ ପ୍ରତିଶତ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଡ.ସାମନ୍ତସିଂହାର ଦାବି କରିଛନ୍ତି । ଏହି ଅବସରରେ ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା ଓ କୃଷକ ମୋର୍ଚ୍ଚା ସାଧାରଣ ସଂପାଦକ ସୁରଥ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ।
(ବିଜେପି ମିଡିଆ ସେଲ୍‌)