ଲକ୍ ଡାଉନ୍ ନିୟମ ଭାଙ୍ଗିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କୋରୋନା ସଂକ୍ରମଣକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଲକ୍ ଡାଉନ୍ ନିୟମକୁ ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଆଗାମୀ ସପ୍ତାହ ଆମ ପାଇଁ ଖୁବ ଗୁରୁତ୍ୱପୂର୍ଣ୍ଣ। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର,  ରାଉରକେଲା,  ଭଦ୍ରକ,  ପୁରୀ,  ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି।

ଏହି ଲକ୍ ଡାଉନ୍ ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର ହୋଲସେଲ ମଧ୍ୟ ଖୋଲା ରହିବ।

ସେହିପରି ଏସବୁ ଅଂଚଳରେ ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଓଡ୍ରାଫ, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।