ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ‘ଅମ୍ଫାନ’ର ରୂପ ନେଇପାରେ । ଭାରତୀୟ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ ତରଫରୁ ଉପକୂଳ ଓଡ଼ିଶାର ଲୋକଙ୍କୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ମତ୍ସଜୀବୀମାନଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଆସନ୍ତାକାଲି ସନ୍ଧ୍ୟା ପରେ ଏହା ଦିଗ ବଦଳାଇ ଉତର-ପୂର୍ବ ଦିଗକୁ ଗତି କରିପାରେ । ବାତ୍ୟା କେଉଁଠି ଲାଣ୍ଡଫଲ କରିବ, ତାହା ସ୍ପଷ୍ଟ ହୋଇପାରି ନାହିଁ । ପଶ୍ଚିମବଙ୍ଗ, ବାଂଲାଦେଶ ଅଥବା ଅନ୍ୟ କେଉଁଠି ଲାଣ୍ଡଫଲ କରିପାରେ ।
ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅଧିକ ବିପଦ ରହିଛି । ଯାହା ଅନୁମାନ କରାଯାଉଛି, ୧୮ତାରିଖ ସ୍ୱଳ୍ପ ବର୍ଷା ହେବାକୁ ଥିବା ବେଳେ ୧୯ ତାରିଖ ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।