ରାଜ୍ୟରେ ବର୍ଷା ଜାରି:୧୦ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର:ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ପର୍ୟ୍ୟ ନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷକରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିରେ ଅଧିକ ବର୍ଷା ହେବ । ଏଥିଲାଗି ୫ ଜିଲ୍ଲାକୁ ରେଡ୍ ଓ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଲଗାଣ ବର୍ଷା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । 

ଆଜି ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ଜାରି ରହିବ । ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀକୁ ରେଡ୍‌ ୱାର୍ଣ୍ଣିଂରେ ରଖାଯାଇଥିବାବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ସେଥିପାଇଁ ସକାଳ ସାଢ଼େ ୧୦ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳରେ ବଜ୍ରପାତ ହେବାର ଅନୁମାନ କରାଯାଇଛି । ଆସନ୍ତାକାଲି ପରେ ଦୀପବଳୀ ଦିନ ପାଗ ଶୁଖିଲା ରହିବ ବୋଲି କୁହାଯାଇଛି । 

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ଗଂଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର ଓ ଭଦ୍ରକରେ ଛୁଟି ଘୋଷଣା ହୋଇଛି । ତେବେ ଛାତ୍ରଛାତ୍ରୀମାନେ ସ୍କୁଲକୁ ଆସିବେ ନାହିଁ କିନ୍ତୁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି ।