କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

ଖୁବ୍ ଶୀଘ୍ର ମୁଁ କୁଟିଆ ଯିବି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : କୋଟିଆରେ ଗଡୁଛି ରାଜ୍ୟ ସରକରାଙ୍କ ବିକାଶ ଗାଡ଼ି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ ଶୁକ୍ରବାର କରିଛନ୍ତି ଶୁଭାରମ୍ଭ । କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ଉଚ୍ଚ କ୍ଷମତା ସମ୍ପନ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି ।

୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ, ୫ କୋଟିର ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
୧୫୦ କୋଟି ଟଙ୍କାର ପ୍ରକଳ୍ପ କାମ ଜାରି ରହିଛି
କୁଟିଆକୁ ଆଦର୍ଶ ପଞ୍ଚାୟତ ଭାବରେ ଗଢାଯିବ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ଉଚ୍ଚ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସେଠାରେ ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ୨୦୧୮ରେ କୋଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ । ଏହା ପରଠାରୁ କୋଟିଆ ପଞ୍ଚାୟତରେ ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଯୋଗ, ପିଇବା ପାଣି, ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଛି । ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଉଛି । ଜୀବନଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କହିବା ମୁତାବକ, ମାଲକାନଗିରିରୁ ମୟୁରଭଞ୍ଜ, କୋରାପୁଟରୁ କଟକ, ସବୁ ଅଞ୍ଚଳର ବିକାଶ ପାଇଁ ସେ କାମ କରୁଛନ୍ତି । ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ପାଇଁ, ରାଜ୍ୟର ସବୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ କାମ କରାଯାଉଛି । ଓଡ଼ିଶା ଆମର ମା’ । ଓଡ଼ିଆ ଆମର ଭାଷା । ମହାପ୍ରଭୁ ଜଗନ୍ନାଥ ଆମର ବଡ଼ ଠାକୁର । ଜଗନ୍ନାଥ ସଂସ୍କୃତି ଆମର ସଂସ୍କୃତି । କୋରାପୁଟକୁ ଆମେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ । ସ୍ୱାଧୀନତା ସଂଗ୍ରାମରେ ମଧ୍ୟ କୋରାପୁଟ ବଡ଼ ଭୂମିକା ବିଷୟରେ ଆଲୋକପାତ କରି ସେ ଏହି ଅବସରରେ ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶମୂଳକ କାର୍ଯ୍ୟକ୍ରମ ଯୋଗୁ କୋଟିଆ ପଞ୍ଚାୟତରେ ବହୁତ ଉନ୍ନତି ଆସିଛି । ଗାଁର ଲୋକମାନେ ରାସ୍ତାଘାଟ, ପାଣି, ବିଜୁଳି, ଶିକ୍ଷା ଆଦି ବିଭିନ୍ନ ସୁବିଧା ପାଇପାରୁଛନ୍ତି । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । କୋରାପୁଟ ଓ ପଟାଙ୍ଗିର ବିଧାୟକ ମଧ୍ୟ ଏହି ଅବସରରେ ନିଜର ମତବ୍ୟକ୍ତ କରି କୋଟିଆ ଆଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । କୋଟିଆ ପଞ୍ଚାୟତର ପ୍ରତିନିଧି ଓ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାମାନେ ମଧ୍ୟ ଏହି ଅବସରରେ ନିଜର ମତାମତ ରଖି କୋଟିଆ ପଞ୍ଚାୟତ ଏବଂ ସାରା ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମର ସୁଫଳ କିପରି ଲୋକମାନେ ପାଉଛନ୍ତି, ସେ ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ସଂଯୋଜନା କରିଥିବା ବେଳେ କୋରାପୁଟ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । କୋଟିଆ ଅଞ୍ଚଳର ବିକାଶ ଉପରେ ଏକ ସ୍ୱତନ୍ତ୍ର ବୃତ୍ତ ଚିତ୍ର ଏହି ଅବସରରେ ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ । ଓଡିଶାର ସୀମାନ୍ତରେ ଆନ୍ଧ୍ର ଲୋଲୁପ ଦୃଷ୍ଟି ପକାଉଥିବାବେଳେ ନବୀନଙ୍କ ଉଦ୍ୟମ ସୀମାବର୍ତ୍ତୀ ଜନସାଧାରଣଙ୍କୁ ଭରସା ଦେଇ ପାରିବ ଓ ପଡୋଶୀ ରାଜ୍ୟ ମାନଙ୍କ ଲାଗି ଚେକମେଟ ହୋଇ ପାରିବ ବୋଲି କୁହାଯାଉଛି ।

kotia to be a model panchayat odisha cm naveen