୧୯ରେ ପୁଣି ଏକ ଲଘୁଚାପ: ୨୦ରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୯ ତାରିଖ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂତ୍ରରୁ ସୂଚନା ମିଳିଛି । ଏହାର ପ୍ରଭାବରେ ୨୦ ତାରିଖରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, କେଉଁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୧୯ ତାରିଖ ଲଘୁଚାପ ପ୍ରଭାବରେ ୨୦ ତାରିଖରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ମୟୁରଭଞ୍ଜ, ବାଲେଶ୍ୱର, କେଉଁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଏହି ୧୦ ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିଭଳି ୨୧ ତାରିଖ ସୁଦ୍ଧା ମାଲକାନଗିରି, କୋରାପୁଟ, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେଓଗଡ଼, କେଉଁଝର, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।