ନିର୍ଭୟା ମାମଲା: ୪ ଅଭିଯୁକ୍ତ କେବେ ପାଇବେ ଫାଶୀର ହେବ ଆଜି ଶୁଣାଣି

ନୂଆଦିଲ୍ଲୀ: ନିର୍ଭୟା ମାମଲାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ କେବେ ଫାଶୀ ପାଇବେ ତାହା ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ତେବେ ୪ ଅଭିଯୁକ୍ତଙ୍କୁ ଫାଶୀ ଦେବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲେ ହେଁ ଫାଶୀର ତାରିଖ ଘୋଷଣା ହୋଇନି । ତେବେ ଆଜି ଫାଶୀର ତାରିଖ ଘୋଷଣା ହେବାର ଅଛି ।

ଏହାପୂର୍ବରୁ ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଫାଶୀ ଦଣ୍ଡାଦେଶ ହୋଇଥିବା ୪ଜଣ ଦୁଷ୍କର୍ମକାରୀଙ୍କ ମଧ୍ୟରୁ ପବନ କୁମାରର ପିତା ଏହି ଫାଶୀ ଦଣ୍ଡାଦେଶକୁ ଅଟକାଇବା ପାଇଁ କୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଗତ ସୋମବାର ତାହାକୁ ବି କୋର୍ଟ ଖାରଜ କରି ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ପାରାମେଡ଼ିକାଲ ଛାତ୍ରୀ ନିର୍ଭୟାଙ୍କୁ ଏକ ଚଳନ୍ତା ବସରେ ଗଣ-ଦୁଷ୍କର୍ମ କରାଯିବା ସହ ଅମାନୁଷିକ ନିର୍ଯାତନା ଦିଆଯାଇଥିଲା । ୬ ଜଣ ବ୍ୟକ୍ତି ଏହି କାଣ୍ଡ ଘଟାଇବା ପରେ ତାଙ୍କୁ ମୁମୁର୍ଷୁ ଅବସ୍ଥାରେ ଚଳନ୍ତା ବସରୁ ଫିଙ୍ଗି ଦେଇଥିଲେ। ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ନିର୍ଭୟା, ସେହିବର୍ଷ ଡିସେମ୍ବର ୨୯ରେ ସିଙ୍ଗାପୁରର ମାଉଂଟ ଏଲିଜାବେଥ ହସ୍ପିଟାଲରେ ମୃତ୍ୟୁବରଣ କରିଥିଲେ ।

ଏହି ଘଟଣାରେ ଗିରଫ ହୋଇଥିବା ୬ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ରାମ ସିଂ ତିହାର ଜେଲରେ ଆତ୍ମହତ୍ୟା କରିଥିଲା । ଆଉ ଜଣେ ଅଭିଯୁକ୍ତ ନାବାଳକ ହୋଇଥିବାରୁ ତାକୁ ଏକ ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଥିଲା। ୨୦୧୩, ସେପ୍ଟେଟର ୧୩ରେ ଦିଲ୍ଲୀର ଏକ ଫାଷ୍ଟଟ୍ରାକ୍‌ କୋର୍ଟ ଏହି ୪ ଅଭିଯୁକ୍ତ ପବନ ଗୁପ୍ତା, ଅକ୍ଷୟ ସିଂହ, ମୁକେଶ ଓ ବିନୟ ଶର୍ମାଙ୍କୁ ଦୋଷୀ ଘୋଷଣା କରିବା ସହ ମୃତ୍ୟୁଦଣ୍ଡ ଦେଇଥିଲେ।

୫ମେ, ୨୦୧୭ରେ ସୁପ୍ରିମକୋର୍ଟ ଏହି ମୃତ୍ୟୁଦଣ୍ଡକୁ କାଏମ ରଖିଥିଲେ । ସେହିବର୍ଷ ନଭେମ୍ବର ୧୩ରେ ଦୋଷୀମାନେ ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ । ଗତ ବର୍ଷ ଜୁଲାଇ ମାସରେ ସୁପ୍ରିମକୋର୍ଟ ଦୋଷୀମାନଙ୍କ ପୁନର୍ବିଚାର ଆବେଦନକୁ ଖାରଜ କରିଦେଇଥିଲେ।