ତିନି ଜିଲ୍ଲାରେ ୭ ଦିନ ପାଇଁ ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବନ୍ୟା ପରିସ୍ଥିତି ଓ ଜିଲ୍ଲାର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ । ପ୍ରଭାବିତ ଅଞ୍ଚଳର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୭ ଦିନ ପାଇଁ ରିଲିଫ୍ ଘୋଷଣା କରିଛନ୍ତି । ଏ ବାବଦରେ ପୌଢ଼ମାନଙ୍କୁ ଦୈନିକ ୬୦ ଟଙ୍କା ଏବଂ ୧୨ ବର୍ଷରୁ କମ୍ ବୟସ ପିଲାମାନଙ୍କ ପାଇଁ ଦୈନିକ ୪୫ ଟଙ୍କା ହିସାବରେ ରିଲିଫ୍ ପ୍ରଦାନ କରାଯିବ । ସେହିପରି ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପ୍ରାଣୀମାନଙ୍କୁ ମାଗଣାରେ ଚିକିତ୍ସା ସହିତ ଟିକାକରଣ ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏକ ସପ୍ତାହ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳମାନଙ୍କୁ ବୈଠକରେ ପରାମର୍ଶ ଦିଆଯାଇଥିଲା ।

ସମୀକ୍ଷାରୁ ଜଣାଯାଇଛି ଯେ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ୧୭ଟି ବ୍ଲକ୍, ୪ଟି ପୌରପରିଷଦ ଏବଂ ୯୦୩ଟି ଗ୍ରାମର ସାଢ଼େ ୭ ଲକ୍ଷ ଲୋକ ଚଳିତ ବନ୍ୟାରେ ପ୍ରଭାବିତ ହୋଇଛନ୍ତି । ୫୦ ହଜାର ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି । ୪୦ ହଜାର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯିବା ସହ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ସେହିପରି ଗୃହପାଳିତ ପଶୁମାନଙ୍କୁ ମଧ୍ୟ ୯୦ ମେଟ୍ରିକ୍ ଟନ୍ ଗୋଖାଦ୍ୟ ଯୋଗାଇ ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ଚିକିତ୍ସା ସୁବିଧା ମଧ୍ୟ ଯୋଗାଇ ଦିଆଯାଉଛି । ଏହାସହିତ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ, କୃଷି ବିଭାଗ ପ୍ରମୁଖ ସଚିବ, ସ୍ୱତନ୍ତ୍ର ରିଲିଫ୍ କମିଶନର, ମତ୍ସ୍ୟ ଓ ପଶୁପାଳନ ବିଭାଗ ସଚିବ ପ୍ରମୁଖ ଯୋଗ ଦେଇଥିଲେ ।