୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଉତର ଉପକୂଳ, ଉତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଂଚଳିକ କାର୍ଯ୍ୟାଳୟ।

ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଂଚଳିକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତଏକ ସତର୍କ ସୂଚନାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଂଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକ୍‌ୁ ପ୍ରବଳ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଢ଼େଙ୍କାନାଳ, ଅନୁଗୁଳ, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ମଧ୍ୟ ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।