୫ ଜିଲ୍ଲା ୮ ସହରରେ ଲକ୍ ଡାଉନ୍ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋରୋନାକୁ ନେଇ ରାଜ୍ୟ ସରକାର ଆଜି ଏକ ବଡ଼ ନିଷ୍ପତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୮ସହରକୁ ଲକ୍ ଡାଉନ୍ ପାଇଁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଛନ୍ତି ଯେ  ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ୟ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (ନିୟର ଟୋଟାଲ୍) ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତି କରିଛନ୍ତି ।

ଏହି ଲକ୍ ଡାଉନ୍ ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ।  ସେହିପରି ଏସବୁ ଅଂଚଳରେ ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍ , ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଓଡ୍ରାଫ୍, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟଗୁଡିକ ମଧ୍ୟ ଖୋଲା ରହିବ।

ସରକାରଙ୍କ ଏଭଳି ନିଷ୍ପତିରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ ଦେଇଛନ୍ତି। ଯେଉଁମାନେ ଏହି ନିୟମକୁ ଭାଙ୍ଗିବାକୁ ଚେଷ୍ଟା କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।